ଆଡ଼କିଆ ବେଶ: ତିନିପୁରକୁ ଆଜି ଦର୍ଶନ ଦେବେ ଶ୍ରୀଜିଉ

ପ୍ରିଜମ ନ୍ୟୁଜ୍ ବ୍ୟୁରୋ: ଆଡ଼କିଆ ବେଶ ବା ତ୍ରିବିକ୍ରମ ବେଶରେ ଆଜି ତିନିପୁର ସ୍ୱର୍ଗ, ମର୍ତ୍ତ୍ୟ, ପାତାଳପୁରକୁ ଦର୍ଶନ ଦେବେ ଶ୍ରୀଜିଉ । ଶ୍ରୀମନ୍ଦିରରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ। ଶ୍ରୀଜିଉଙ୍କ ଅବକାଶ ନୀତି ପରେ ତ୍ରିବିକ୍ରମ ବେଶ ନୀତି ସମାପନ ହୋଇଛି। ପୁଷ୍ପାଳକ ସେବକମାନେ ଶ୍ରୀଜିଉ ମାନଙ୍କ ଶୃଙ୍ଗାର କରିଛନ୍ତି ।

କାର୍ତ୍ତିକ ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଥାଏ ।

ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ । କଥିତ ଅଛି ତ୍ରିବିକ୍ରମ ବା ଆଡକିଆ ବେଶ ଅତିବଡୀ ସମ୍ପ୍ରଦାୟର ଅତ୍ୟନ୍ତ ପ୍ରିୟ ଅଟେ। ପଞ୍ଚସଖାବାଦୀ ତଥା ଅତିବଡୀ ସମ୍ପ୍ରଦାୟର ବହୁ ସଂଖ୍ୟକ ଶିଷ୍ୟ -ଭକ୍ତ ତଥା ମହନ୍ତମାନେ ଏହି ମନୋରମ ବେଶ ଦର୍ଶନକରି ନିଜକୁ ସୌଭାଗ୍ୟ ମଣିଥାନ୍ତି ।

ମହନ୍ତ ମହାରାଜ ରାମ ଜୟନ୍ତୀ ଦାସଙ୍କଦ୍ୱାରା ଏହି ବେଶର ପ୍ରଚଳନ ହୋଇଥିଲା । ଏହି ବେଶରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।

%d bloggers like this: