ରାଜ୍ୟରୁ ସରିଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା

ରାଜ୍ୟରୁ ସରିଲା ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା

ପ୍ରିଜମ୍ ନ୍ୟୁଜ ବ୍ୟୁରୋ:ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା ରାଜ୍ୟରୁ ଉଠିବ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ କହିଲେ ମୁଖ୍ୟମନ୍ତ୍ରୀ।ଆସନ୍ତାକାଲି ଏନେଇ ବିଜ୍ଞପ୍ତି ପ୍ରକାଶ କରାଯିବ। ଏନେଇ କ୍ୟାବିନେଟରେ କରିଛି ମୋହର। କ୍ୟାବିନେଟର ନିଷ୍ପତି ପରେ ରାଜ୍ୟର ୫୭ ହଜାରରୁ ଅଧିକ ଚୁକ୍ତିଭିତ୍ତିକ କର୍ମଚାରୀ ନିୟମିତ ହେବେ। ଏଥିପାଇଁ ହାରାହାରି ଅଧିକ ୧୩ ଶହ କୋଟି ଟଙ୍କା ଖର୍ଚ୍ଚ ହେବ। ବହୁଦିନ ହେବ ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ନେଇ ଦାବି ହୋଇ ଆସୁଥିଲା। ୨୦୧୩ ମସିହାରୁ ରାଜ୍ୟରେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ ହୋଇଥିଲା।

ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ମହାବାତ୍ୟା ପର ସ୍ଥିତି ଓ ଦୁର୍ବଳ ଆର୍ଥିକ ଅବସ୍ଥା ଆମ ପାଇଁ ସବୁଠାରୁ ବଡ ଚ୍ୟାଲେଞ୍ଜ ଥିଲା । ରାଜ୍ୟ ଓଭର ଡ୍ରାଫ୍ଟରେ ଚାଲୁଥିଲା। ନିତି ଦିନ ଖର୍ଚ୍ଚ ପାଇଁ ସରକାରଙ୍କୁ ରିଜର୍ଭ ବ୍ୟାଙ୍କ ଉପରେ ନିର୍ଭର କରିବାକୁ ପଡୁଥିଲା ।ଓଡିଶା ଅର୍ଥନୀତି ପାଇଁ ଏହା ଏକ କଳା ସମୟ ଥିଲା । ରାଜକୋଷ ଖାଲି ଥିଲା। ଅର୍ଥନୀତି ଉପରେ ବହୁତ ଚାପ ଥିଲା। ଶିକ୍ଷା, ସ୍ବାସ୍ଥ୍ୟ, ଭିତ୍ତିଭୂମି, କୃଷି, ଜଳସେଚନ ଆଦି ବିଭିନ୍ନ କ୍ଷେତ୍ରରେ ଆମେ ବହୁତ ପଛୁଆ ଥିଲୁ । ବନ୍ୟା ବାତ୍ୟା ମରୁଡି ରାଜ୍ୟରେ ଲାଗି ରହୁଥିଲା ଗରିବୀ ବହୁ ଅଧିକ ଥିଲା। ସୀମିତ ସମ୍ବଳ ଭିତରେ ଏସବୁ କ୍ଷେତ୍ରରେ ଉନ୍ନତି ଆଣିବା ଥିଲା ଆମ ପାଇଁ ପ୍ରାଥମିକତା। ସେତେବେଳେ ନିଯୁକ୍ତି ପୁରାପୁରି ବନ୍ଦ ଥିଲା । ପୋଷ୍ଟ ସବୁ ଉଚ୍ଛେଦ କରିବାକୁ ପଡୁଥିଲା । ଏହା ମୋ ସରକାର ପାଇଁ ବହୁତ କଷ୍ଟକର ଥିଲା। ମୋ ରାଜ୍ୟର ପିଲାମାନେ ନିଯୁକ୍ତି ନ ପାଇ ହଇରାଣ ହେଉଥିଲେ। ଏହା ମୋତେ ବହୁତ ଦୁଃଖ ଦେଉଥିଲା ।

ପ୍ରତିଦିନ ମୋ ମନରେ ଚିନ୍ତା ଥିଲା, କେବେ ପରିସ୍ଥିତିରେ ଉନ୍ନତି ଆସିବ ଏବଂ ଆମ ପିଲାମାନେ ରେଗୁଲାର ନିଯୁକ୍ତି ପାଇବେ ?ଆପଣମାନଙ୍କର ସହଯୋଗ ଓ ମହାପ୍ରଭୁଙ୍କ ଆଶୀର୍ବାଦ ହିଁ ଆମର ସବୁଠାରୁ ବଡ ଶକ୍ତି । ଉତ୍ତମ ଆର୍ଥିକ ପରିଚାଳନା ଓ ସୁଶାସନ ଜରିଆରେ ହିଁ ଧିରେ ଧିରେ ପରିସ୍ଥିତିରେ ଉନ୍ନତି ଆସିଲା । ୨୦୧୩ରୁ ଆମେ ଚୁକ୍ତିଭିତ୍ତିକ ନିଯୁକ୍ତି ଆରମ୍ଭ କଲୁ । ଏହା ମଧ୍ୟ ମୋ ପାଇଁ ଏକ କଷ୍ଟକର ନିଷ୍ପତ୍ତି ଥିଲା। ଏବେ ଆମ ଅର୍ଥନୀତିରେ ଉନ୍ନତି ଆସିଛି । ବିକାଶ କ୍ଷେତ୍ରରେ ଓଡ଼ିଶା ସାରା ଦେଶରେ ଏକ ନୂଆ ପରିଚୟ ସୃଷ୍ଟି କରିପାରିଛି । ଗତ ବର୍ଷ ଆମେ ଏହି ଚୁକ୍ତିଭିତ୍ତିକ ନିଯୁକ୍ତିକୁ ପରିବର୍ତ୍ତନ କରି ଇନିସିଆଲ ଆପଏଣ୍ଟି କରିଥିଲୁ। ଆଜି ମୁଁ ଖୁସିର ସହ ଘୋଷଣା କରୁଛି ଯେ ଆଜି ରାଜ୍ୟ କ୍ୟାବିନେଟ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବ୍ୟସ୍ଥାକୁ ସବୁଦିନ ପାଇଁ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ଏବେ ବି ଅନେକ ରାଜ୍ୟରେ ନିୟମିତ ନିଯୁକ୍ତି ବନ୍ଦ ଅଛି, ଚୁକ୍ତିଭିତ୍ତିକ ନିଯୁକ୍ତି ଚାଲିଛି। ଓଡିଶାରେ ଚୁକ୍ତିଭିତ୍ତିକ ନିଯୁକ୍ତିର ଯୁଗ ଶେଷ ହେଲା। ସବୁ ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ହେବ । ବହୁ ଦିନ ଧରି ଏ ସୁଦିନକୁ ମୁଁ ଅପେକ୍ଷା କରିଥିଲି। ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବ। ୫୭ ହଜାରରୁ ଅଧିକ କର୍ମଚାରୀ ନିୟମିତ ହେବେ । ଏଥିପାଇଁ ହାରାହାରି ୧୩୦୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହେବ। ସେମାନଙ୍କ ପରିବାର ପାଇଁ ଏହା ଆଗୁଆ ଦୀପାବଳି ଆଣିଛି। ଆଜି ଓଡିଶା ଆତ୍ମବିଶ୍ବାସର ସହ ଆଗକୁ ବଢୁଛି । ସଶକ୍ତ ହେଉଛି। ଓଡିଶା ଇତିହାସର ଏହା ଏକ ସୁବର୍ଣ୍ଣ ମୂହୁର୍ତ୍ତ । ସରକାରୀ କର୍ମଚାରୀ ମାନଙ୍କୁ ମୋର ଅନୁରୋଧ, ଆପଣମାନେ ସମସ୍ତେ ଭଲ କାମ କରନ୍ତୁ। ନିଷ୍ଠାର ସହ ଲୋକଙ୍କ ସେବା କରନ୍ତୁ । ଦାୟିତ୍ବ ପାଳନ କରିବାବେଳେ, ୫-ଟି ଉପକ୍ରମ – ଟିମ୍‌ ୱାର୍କ, ଟେକ୍‌ନୋଲୋଜି, ଟ୍ରାନ୍‌ସପ୍ୟାରେନ୍‌ସି ଓ ଟ୍ରାନସଫରମେସନକୁ ଅନୁସରଣ କରନ୍ତୁ। ସରକାରଙ୍କ ପରିଚୟକୁ ଆହୁରି ଉଜ୍ଜଳ କରନ୍ତୁ ଏବଂ ଓଡିଶାର ରୂପାନ୍ତରରେ ନିଜର ଗୁରୁତ୍ବପୂର୍ଣ୍ଣ ଅବଦାନ ରଖନ୍ତୁ ।

0 Comments

Leave Your Comment

Your email address will not be published. Required fields are marked *

%d bloggers like this: