କାଲି ଆସୁଛି, ପ୍ରବଳ ବର୍ଷିବ

ପ୍ରିଜମ୍ ନ୍ୟୁଜ୍ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆସୁଛି ଲଘୁଚାପ। ଏହା ଫଳରେ କାଲିଠୁ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ। ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ଆସନ୍ତାକାଲି ଲଘୁଚାପରେ ପରିଣତ ହେବ। ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାସହ ମୌସୁମୀ ଜନିତ ଟ୍ରଫଲାଇନ ସକ୍ରିୟ ରହିଛି। ଏସବୁ ପ୍ରଭାବରେ ପାଞ୍ଚ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବିକ୍ଷିପ୍ତ ଭାବେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟାରେ ଗଞ୍ଜାମ, ବଲାଙ୍ଗିର, ବୌଦ୍ଧ, କନ୍ଧମାଳ, ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଏବଂ ପୁରୀ, ଜଗତସିଂପୁର, କେନ୍ଦ୍ରପଡ଼ା, ଝାରସୁଗୁଡା, ସମ୍ବଲପୁର, ବରଗଡ଼ ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ଆସନ୍ତାକାଲି ବର୍ଷାର ପରିମାଣ ବୃଦ୍ଧି ହେବା ସହ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଓ ବୌଦ୍ଧ ଜିଲ୍ଲାରେ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଯାଇଛି। ସେହିପରି କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲୁପର, ଦେଓଗଡ଼, କେନ୍ଦୁଝର ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେବେ ଲଘୁଚାପ ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ପବନର ବେଗ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବାକୁ ଥିବାରୁ ଆସନ୍ତା ୪ ତାରିଖରୁ ୬ ତାରିଖ ଯାଏ ସମୁଦ୍ର ମଧ୍ୟକୁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି।

Leave a Reply

Your email address will not be published. Required fields are marked *